କାହିଁକି ପାଳନ ହୁଏ ରଜ ପର୍ବ? କାହିଁକି ଏହି ୩ ଦିନ ଝିଅମାନଙ୍କୁ କାମ କରିବାକୁ ବାରଣ କରାଯାଏ? ଜାଣନ୍ତୁ ଏହାର ରହସ୍ୟ

ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ଵିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ଵିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ ।

ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ଵଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।

ଆଷାଢମାସ ଚତୁର୍ମାସ୍ୟା ବ୍ରତର ପ୍ରଥମ ମାସ । ଏ ଚାରି ମାସ ମୁନି ଋଷି ଓ ସାଧବମାନେ ସେମାନଙ୍କ ପରିଭ୍ରମଣ ତ୍ୟାଗ କରି ଏକସ୍ଥାନରେ ନିବିଷ୍ଟ ହୋଇ ସାଧନା କରିଥା’ନ୍ତି । ଏହି ମାସକୁ ଦାମ୍ପତ୍ୟ ଜୀବନର ସର୍ବଶ୍ରେଷ୍ଠ ସମ୍ଭୋଗର ମାସ ବୋଲି ଗ୍ରହଣ କରାଯାଏ । ବିରହ, ବିଧୂର ଯକ୍ଷର ପ୍ରିୟା ଉଦ୍ଦେଶ୍ୟରେ ମେଘ ମାଧ୍ୟମରେ ପ୍ରେରିତ ବାର୍ତ୍ତାକୁ ନେଇ ମହାକବି କାଳିଦାସଙ୍କ ରଚିତ “ମେଘଦୂତ’ ମହାକାବ୍ୟ ଏକ ଅନବଦ୍ୟ ସାଂସ୍କୃତିକ ବୌଦ୍ଧିକ ପ୍ରତିଲିପି ଓ ଇତିକଥା ।

ଆଷାଢ଼ ମାସରେ ପ୍ରଥମ ବର୍ଷାର ଆଗମନରେ ମେଘ ଓ ମାଟିର ମିଳନ ହୁଏ । ମାଟି ମା’ ହୁଏ ରଜସ୍ୱଳା । କୃଷିପ୍ରଧାନ ଦେଶ ଭାବେ ଖ୍ୟାତି ଲାଭ କରିଥିବା ଆମଦେଶରେ ମାଟି ମା’ ବହୁ କିସମର ଫସଲ ଫଳାଇ ଆମରି ହାତରେ ଅଜାଡ଼ି ଦିଏ । ମା’ଟିଏ ଯେମିତି ପ୍ରଜନନ ପୂର୍ବରୁ ବିଶ୍ରାମ ଆବଶ୍ୟକ କରେ, ସେମିତି ପ୍ରଜନନକ୍ଷମ ହେବାକୁ ଯାଉଥିବା ମାଟି ମା’କୁ ରଜ ତିନିଦିନ ବିଶ୍ରାମ ଦିଆଯାଏ ବୋଲି ବିଶ୍ୱାସ ଅଛି । ପହିଲି ରଜରେ ଆରମ୍ଭ ହୁଏ ପ୍ରସ୍ତୁତି ପର୍ବ । ତିନିଦିନ ଧରି ଧରଣୀ ମାତାକୁ ବିଶ୍ରାମ ଦିଆଯାଏ, ଯେଉଁଥିାଇଁ ଭୂ ଖନନ ବାରଣ କରାଯାଇଥାଏ । ମାତୃଜାତି ମଧ୍ୟରେ ଉତ୍ସାହ, ଉନ୍ମାଦନା ଓ ନୂତନ ଶକ୍ତି ଜାଗ୍ରତ କରିବା ପାଇଁ ପାଳନ କରାଯାଇଥାଏ ରଜପର୍ବ ।

କୁମାରୀମାନଙ୍କ ପାଇଁ ରଜପର୍ବ ହେଉଛି ତାଲିମ ପ୍ରଦାନକାରୀ ପର୍ବ । ଆଷାଢ଼ର ପହିଲି ବର୍ଷାରେ ମାଟି ମା’ର ପ୍ରଜନନ ଶକ୍ତି ଜାଗ୍ରତ ହୋଇଥାଏ, ଏହି କାରଣରୁ ଧରଣୀମାତାକୁ ରଜସ୍ୱଳା ସ୍ତ୍ରୀ ସହିତ ତୁଳନା କରାଯାଏ । ଅବିବାହିତା ଝିଅଙ୍କ ପାଇଁ ଗର୍ଭଧାରଣ କ୍ଷମତା ପ୍ରାପ୍ତିର ଏକ ସାଙ୍କେତିକ ପର୍ବ ହେଉଛି ରଜ । ଜଣେ ନାରୀଭାବେ ଆଗାମୀ ଦିନରେ କିରି କର୍ତ୍ତବ୍ୟ ସମ୍ପାଦନ କରିବାକୁ ହେବ, ତାହା କୁମାରୀମାନଙ୍କୁ ଶିଖିବାକୁ ପଡ଼ିଥାଏ ଏହି ରଜ ପର୍ବ ପାଳନ ଅବସରରେ । କୁମାରୀମାନେ ରଜପର୍ବର ମଉଜ ଭିତରେ ଜଣେ ନାରୀର ଚଳଣି, ଆଚାରସଂହିତାକୁ ବିଧିଭାବେ ପାଳିଥାଆନ୍ତି ଏବଂ ଭବିଷ୍ୟତରେ ଯେତେବେଳେ ଝିଅଟିଏ ନାରୀଭୂମିକାରେ ଅବତୀର୍ଣ୍ଣ ହୋଇ କର୍ତ୍ତବ୍ୟ ସମ୍ପାଦନ କରେ, ଏହି ଆଚାରସଂହିତା ତାକୁ ସହାୟ ହୋଇଥାଏ ।

ରଜ ତିନିଦିନ ଧରି ରଜସ୍ୱଳା ନାରୀଭାବେ ଧରଣୀମାତାକୁ କଷ୍ଟ ନ ଦେଇ ଭୂମି କର୍ଷଣ ନ କରି ବିଶ୍ରାମ ଦେଲାଭଳି କଟା, ବଟା ଆଦି ଗୃହକର୍ମ ନ କରି କୁମାରୀମାନେ ବିଶ୍ରାମ କରନ୍ତି । ଧରଣୀ ମାତା ଶସ୍ୟଶ୍ୟାମଳାପୂର୍ଣ୍ଣ ହେବା ପାଇ ପ୍ରାଥମିକ ପ୍ରସ୍ତୁତି ଭାବେ ରଜ ତିନିଦିନ ବିଶ୍ରାମ ମିଳିଥାଏ ତାଙ୍କୁ । ଠିକ ସେହିପରି ଝିଅବୋହୂମାନଙ୍କ ଭବିଷ୍ୟତ ସାଂସାରିକ ଜୀବନ ସୁଖମୟ କରିବାକୁ ରଜପର୍ବର କଳ୍ପନା କରାଯାଇଛି । ରଜପର୍ବର ବିଧିବିଧାନକୁ ସେମାନେ ନିଜେ ପାଳନ କରି ଜଣେ ମାତାର କର୍ତ୍ତବ୍ୟକୁ ସୁଚାରୁରୂପେ ତୁଲାଇପାରିବେ ଏବଂ ଭବିଷ୍ୟତରେ ନିଜ ଝିଅମାନଙ୍କୁ ସ୍ୱଅନୁଭୂତିରୁ ଶିଖି ସଂସାର ନିୟମ ଶିଖାଇବେ ।

Leave a Comment